ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ପ୍ରଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ମାନ୍ୟବର ମୁଖ୍ୟମନ୍ତ୍ରୀ ମାଲକାନଗିରି ଗସ୍ତରେ ଯାଇ ଆଜି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ପ୍ରଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ସେ ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ କାର୍ଡର ବଣ୍ଟନ କରିଛନ୍ତି । ସ୍ଥାନୀୟ ସଂସ୍କୃତି ଭବନରେ ଏଥିଲାଗି ଏକ ସ୍ବତନ୍ତ୍ର ଉତ୍ସବର ଆୟୋଜନ କରାଯାଇଥିଲା । ଏଥିରେ ମୁଖ୍ୟମନ୍ତ୍ରୀଙ୍କ ସହ 5-ଟି ସଚିବ ଭିକେ ପାଣ୍ଡିଆନ୍ ଓ ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ପ୍ରମୁଖ ଯୋଗ ଦେଇଥିଲେ । ବଣ୍ଡା ଜନଜାତି ମହିଳା ଶୁକ୍ରୀ ଧାଙ୍ଗଡା ମାଝୀଙ୍କୁ ପ୍ରଥମ ସ୍ମାର୍ଟ କାର୍ଡ ପ୍ରଦାନ କରି ମୁଖ୍ୟମନ୍ତ୍ରୀ ଆଜି ମାଲକାନଗିରିରୁ ସ୍ବାସ୍ଥ୍ୟ ସେବାର ଏହି ଐତିହାସିକ ଯାତ୍ରା ଆରମ୍ଭ କରିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, “2018 ମସିହାରେ ମାଲକାନଗିରି ପାଇଁ ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ ଚାଲିଥିଲା । ମୁଁ ଲୋକସେବା ଭବନରୁ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲି । ସେ ସଭାରେ ଝିଅଟିଏ ମାମାନଙ୍କ ପାଇଁ ଚିକିତ୍ସା ଖର୍ଚ୍ଚ ବୃଦ୍ଧି କରିବା ପାଇଁ ପ୍ରସ୍ତାବ ଦେଲା । ଝିଅଟିର ସାହସ ଓ ବୁଦ୍ଧିକୁ ସମସ୍ତେ ସେ ଦିନ ତାରିଫ କରିଥିଲେ ।”

“ଝିଅଟି ଥିଲା ଆମ ମାଲକାନଗିରିର ମମତା ପଡିଆମୀ । ତାଙ୍କ ପ୍ରସ୍ତାବଟି ମୋତେ ବହୁତ ଭଲ ଲାଗି ଥିଲା ଏବଂ ମୁଁ ମହିଳା ମାନଙ୍କ ଚିକିତ୍ସା ସୁବିଧା 10 ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଥିଲି ।” ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଆଜି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ଆମେ ନୂଆ ରୂପରେ କାର୍ଯ୍ୟକାରୀ କରିବାକୁ ଯାଉଛୁ ।

ଏହି ଯୋଜନାରେ ରାଜ୍ୟର 3.5 କୋଟି ନାଗରିକଙ୍କୁ ସ୍ମାର୍ଟ ହେଲଥ୍ କାର୍ଡ ମିଳିବ । ଏହି ଯୋଜନା ମାଧ୍ୟମରେ ଦେଶର 200 ଡାକ୍ତରଖାନାରେ ମାଗଣାରେ ସ୍ୱାସ୍ଥ୍ୟ ସେବା ମିଳିବ । ଏହା ଦ୍ୱାରା ରାଜ୍ୟର 96 ଲକ୍ଷ ପରିବାର ଉପକୃତ ହେବାକୁ ଯାଉଛନ୍ତି ।


ସେୟାର କରନ୍ତୁ