ବନକ ଲାଗି ନୀତି ପାଇଁ ଆସନ୍ତା କାଲି 5 ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ରାଜ୍ୟ
ସେୟାର କରନ୍ତୁ

ପୁରୀ : ଶ୍ରୀମନ୍ଦିରରେ ଆସନ୍ତାକାଲି ମହାପ୍ରଭୁଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବାକୁ ଯାଉଛି । ଏହି ନୀତି ପାଇଁ ସାଧାରଣ ଦର୍ଶନ 5 ଘଣ୍ଟା ବନ୍ଦ ରହିବ । ସନ୍ଧ୍ୟା 5ଟାରୁ ରାତି 10ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗ ମଣ୍ଡପ ପରେ ବନକ ଲାଗି କରାଯିବ ।

ଶ୍ରୀଜୀଉମାନଙ୍କର ମୁଖଶ୍ରୀର ପ୍ରସାଧନ ବା ବନକ ଲାଗି ପ୍ରତିମାସରେ ହାରାହାରି ଦୁଇଥର ହୋଇଥାଏ । ବନକ ଲାଗି ରୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କଦ୍ୱାରା କରାଯାଇଥାଏ । ନିୟମ ଅନୁଯାୟୀ ବୁଧବାର ଦିନ ବନକ ଲାଗି ହୋଇଥାଏ । ଦି’ପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଦେବତାମାନଙ୍କର ମୁଖସିଂହାର କରନ୍ତି ।

ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହିଥାଏ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକ ଲାଗି କୁହାଯାଏ । କବି ସାଲବେଗ ମହାପ୍ରଭୁଙ୍କ ଶ୍ରୀମୁଖ ଦେଖି ଲେଖିଛନ୍ତି ‘ଝଲମଲ ଦିଶୁଥାଇ ମୁକୁତାର ଝଟକ’ । କୌଣସି ଆଭୂଷଣ ନଥାଇ ମହାପ୍ରଭୁଙ୍କ ମୁଖମଣ୍ଡଳ ଭକ୍ତଙ୍କୁ ଆକର୍ଷିତ କରେ । ଏହି ଆକର୍ଷଣର କାରଣ ମୁହଁର ରଙ୍ଗବିନ୍ୟାସ ।

ଏହି ରଙ୍ଗବିନ୍ୟାସ ବା ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ଏମାନଙ୍କ କାମ ହେଲା ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା । ବନକଲାଗିରେ ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ । ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହାର ହୁଏ ନାହିଁ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ ।

ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । ରତ୍ନସିଂହାସନ ଆଗରେ ଯେଉଁ ଭୋଗ ବଢ଼ାହୁଏ ତା’ର ଗରମବାଷ୍ପ ଯୋଗୁଁ ମୁଖମଣ୍ଡଳର ଉଜ୍ଜଳତା କମିଯାଏ । କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୁଏ ।


ସେୟାର କରନ୍ତୁ